ରାଜ୍ୟ

ଓଡ଼ିଶାର ମନରେଗା ଶ୍ରମିକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ଵତନ୍ତ୍ର ସହାୟତା, ୩୨ ଲକ୍ଷ ଶ୍ରମିକ ପାଇଲେ ୩୫୨ କୋଟି

Published

on

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନଫରେନସିଙ୍ଗ ଜରିଆରେ ରାଜ୍ୟର ମହାତ୍ମା ଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ ନିୟୋଜିତ ଶ୍ରମିକ ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସ୍ଵତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିଛନ୍ତି । ଏଥିରେ ଏପ୍ରିଲରୁ ଜୁନ ମାସ ପର୍ଯ୍ୟନ୍ତ ଏହି ତିନିମାସ ମଧ୍ୟରେ କାମ କରିଥିବା ଶ୍ରମିକ ମାନଙ୍କୁ ସେମାନଙ୍କର ପ୍ରତ୍ଯେକ ଦିନର ମଜୁରି ସହିତ ଆଉ ଅତିରିକ୍ତ ୫୦ ଟଙ୍କା ପ୍ରଦାନ କରାଗଲା। ଏହା ହିତାଧିକାରୀଙ୍କ ବ୍ଯାଙ୍କ ଆକାଉଣ୍ଟ ରେ ଜମା କରାଗଲା। ଏହାଦ୍ବାରା ପ୍ରତ୍ଯେକ ଶ୍ରମିକ ୪୫୦୦ ଟଙ୍କା ପର୍ଯ୍ୟନ୍ତ ଅତିରିକ୍ତ ମଜୁରି ପାଇଛନ୍ତି । ସମୁଦାୟ ୩୨ ଲକ୍ଷ ଶ୍ରମିକ ୩୫୨ କୋଟି ଟଙ୍କାର ସହାୟତା ପାଇଲେ ।

ଏହି ଅବସରରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ ପଟ୍ଟନାୟକ କହିଲେ ଯେ ଗରିବ ଲୋକଙ୍କ ପାଇଁ ମୋ ହୃଦୟରେ ସବୁବେଳେ ସ୍ଵତନ୍ତ୍ର ସ୍ଥାନ ରହିଛି । ଗରିବ ଲୋକଙ୍କ କାର୍ଯ୍ୟକ୍ରମ ମୋତେ ଅଧିକ ସନ୍ତୋଷ ଦେଇଥାଏ ବୋଲି ମୁଖ୍ୟ ମନ୍ତ୍ରୀ ମତବ୍ୟକ୍ତ କରିଥିଲେ ଏବଂ ଆଜିର ଏହି ସହାୟତା ସେମାନଙ୍କ ପରିବାରର ଆର୍ଥିକ ଅସୁବିଧା ଦୂର କରିବାରେ ସାହାଜଯ କରିବା ବୋଲି ଆଶା ପ୍ରକାଶ କରିଥିଲେ । ଗରିବ ଲୋକଙ୍କ ପାଇଁ ଏହିପରି ଉଦ୍ୟମ ଜାରି ରହିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଜିଲ୍ଲା ସ୍ତରରେ ଅଧିକ ଶ୍ରମଦିବସ ସୃଷ୍ଟି କରି ଗରିବ ଲୋକଙ୍କ ରୋଜଗାର ଦେବା ପାଇଁ କାମ କରିବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ ।

ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ କୋଭିଡର ଦ୍ଵିତୀୟ ଲହରରେ ଗରିବ ଲୋକଙ୍କ ଅସୁବିଧା ଦୂର କରିବା ପାଇଁ ୧୬୯୦ କୋଟି ଟଙ୍କାର ସ୍ଵତନ୍ତ୍ର କୋଭିଡ ସହାୟତା ଘୋଷଣା କରିଛନ୍ତି । ଏଥିରେ ଶ୍ରମିକ ମାନଙ୍କ ପାଇଁ ମଧ୍ୟ ୩୫୨ କୋଟି ଟଙ୍କାର ସହାୟତା ରହିଛି । ମନରେଗାରେ ଗତବର୍ଷ ୨୦ କୋଟି ଶ୍ରମ ଦିବସ ସୃଷ୍ଟି ହୋଇଥିବା ବେଳେ ଚଳିତ ବର୍ଷ ଏ ପର୍ଯ୍ୟନ୍ତ ୭ କୋଟି ଶ୍ରମ ଦିବସ ସୃଷ୍ଟି ହୋଇ ପାରିଛି ଏବଂ ବର୍ଷ ଶେଷ ସୁଧା ୨୫ କୋଟି ଶ୍ରମ ଦିବସ ସୃଷ୍ଟି ପାଇଁ ଲକ୍ଷ ରଖା ଯାଇଛି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗତ ଏକ ବର୍ଷ ଧରି ଆମର କୋଭିଡ ଲଢେଇ ମଧ୍ୟରେ ଲକଡାଉନ ସଟଡାଉନ ଯୋଗୁଁ ଗରିବ ଲୋକଙ୍କ ରୋଜଗାର କମିଛି । ତେଣୁ ଲୋକଙ୍କ ଜୀବିକା ଉପରେ ଧ୍ୟାନ ଦେଇ ରାଜ୍ୟ ସରକାର ଚାଷୀ , ଶ୍ରମିକ , ଦୁଗ୍ଧ ଚାଷୀ , ଉଠା ଦୋକାନୀ ସମସ୍ତଙ୍କ ପାଇଁ ୧୬୯୦ କୋଟି ଟଙ୍କାର ପ୍ଯାକେଜ ଘୋଷଣା କରିଛନ୍ତି ବୋଲି ସେ କହିଥିଲେ । କରୋନାର ଦ୍ଵିତୀୟ ଲହର ସମ୍ପୁର୍ଣ୍ଣ ଶେଷ ହୋଇନାହିଁ ବୋଲି ଦୋହରାଇ ସେ ସମସ୍ତଙ୍କୁ ଟୀକା ନେବାକୁ ଓ କୋଭିଡ ନିୟମ ମାନିବାକୁ ଅନୁରୋଧ କରିଥିଲେ।

ଏହି ଅବସରରେ ପଞ୍ଚାଯତରାଜ ମନ୍ତ୍ରୀ ପ୍ରତାପ ଜେନା ଗରିବ କୃଷକ ଶ୍ରମିକ ମାନଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ଆଲୋକପାତ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଏହି ପଦକ୍ଷେପ ଗ୍ରାମ୍ୟ ଅର୍ଥନୀତିକୁ ସୁଦୃଢ କରିବ ବୋଲି ସେ କହିଥିଲେ।

ଏହି କାର୍ଯ୍ୟକ୍ରମରେ ଡାବୁଗାଁ ବିଧାୟକ ମନୋହର ରନ୍ଧାରି, ନୂଆପଡା ବିଧାୟକ ରାଜେନ୍ଦ୍ର ଢୋଲକିଆ ଏବଂ ରାଉରକେଲା ବିଧାୟକ ସାରଦା ନାୟକ ପ୍ରମୁଖ ଯୋଗ ଦେଇ ବିଭିନ୍ନ ବିକାଶ ଓ ଜନ କଲ୍ଯାଣ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ଦୁରଦୃଷ୍ଟି ସମ୍ପନ୍ନ ନେତୃତ୍ବର ଉଚ୍ଚ ପ୍ରଶଂସା କରିଥିଲେ ।

ରାଜ୍ୟର ୩୧୪ ଟି ବ୍ଲକର ମନରେଗା ଶ୍ରମିକମାନେ ଭିଡିଓ କନଫରେନସିଙ୍ଗ ଯୋଗେ ଯୋଡି ହୋଇଥିଲେ । ଗଞ୍ଜାମର ନିକି ଆମ୍ମା ଓ କୈଳାଶ ଗଉଡ, କୋରାପୁଟର ସୁରେଶ ବାଖିଆ, ତପନ କୁମାର ନାଗ, କଳାହାଣ୍ଡିର ସିତି ପୂଜାରୀ ଓ ଗଜ ମାଝି ଓ ମୟୂରଭଞ୍ଜରଶିବରାମ ସୋରେନ ଓ ସୁକାନ୍ତି ମୁର୍ମୁ ପ୍ରମୁଖ କେତେ ଜଣ ହିତାଧିକାରୀ ଏହି ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରତି ସେମାନଙ୍କର କୃତଜ୍ଞତା ପ୍ରକାଶ କରିଥିଲେ। ଏହି ସହାୟତା କୋଭିଡ ସମୟରେ ସେମାନଙ୍କୁ ବିଶେଷ ସାହାଜ୍ଯ କରିବ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀଙ୍କ ପ୍ରତି କୃତଜ୍ଞତା ଜଣାଇଥିଲେ ।

କାର୍ଯ୍ୟକ୍ରମ ସମ୍ପର୍କରେ ଏକ ଭିଡିଓ ଚିତ୍ର ପ୍ରଦର୍ଶିତ ହୋଇଥିଲା ।

ମୁଖ୍ୟମନ୍ତ୍ରୀଙ୍କ ସଚିବ(5T) ଶ୍ରୀ ଭି . କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିଲେ ।
ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର , ଉନ୍ନୟନ କମିଶନର , କୃଷି ଉତ୍ପାଦନ କମିଶନର, ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ ଏବଂ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।

Leave a Reply

Your email address will not be published. Required fields are marked *

Trending

Exit mobile version