Nation

ଓଡିଶାର ଲକ୍ଷେ ଦୁଗ୍ଧ ଚାଷୀଙ୍କୁ ନବୀନ ଦେଲେ ୧୧ କୋଟି

Published

on

ଭୁବନେଶ୍ୱର:ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ରାଜ୍ୟର ଦୁଗ୍‌ଧ ଚାଷୀମାନଙ୍କୁ ୧୧ କୋଟି ଟଙ୍କାର ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିଛନ୍ତି। ଏହାଦ୍ବାରା ଏକ ଲକ୍ଷ ଦୁଗ୍‌ଧ ଚାଷୀ ୬୦୦୦ ଟଙ୍କା ପର୍ଯ୍ୟନ୍ତ ସହାୟତା ପାଇଛନ୍ତି।

ସୂଚନାଯୋଗ୍ୟ ଯେ ଓମ୍‌ଫେଡ ଜରିଆରେ ରାଜ୍ୟର ୩୭୦୦ ଦୁଗ୍ଧ ଉତ୍ପାଦନ ସମବାୟ ସମିତି ଏବଂ ୨.୬୩ ଲକ୍ଷ ଦୁଗ୍ଧ ଚାଷୀ ଏହା ଜରିଆରେ ଦୁଗ୍‌ଧ ଉତ୍ପାଦନ କରୁଛନ୍ତି । ଏଥିରେ ୧୨୯୨ଟି ମହିଳା ସମବାୟ ସମିତି ରହିଛି ଏବଂ ୧ ଲକ୍ଷ ୫ ହଜାର ମହିଳା ଚାଷୀ ମଧ୍ୟ ଦୁଗ୍‌ଧ ଉତ୍ପାଦନରେ ଯୋଗଦାନ ରଖିଛନ୍ତି।

ଛୋଟ ଚାଷୀଙ୍କ ରୋଜଗାରରେ ଗୋପାଳନର ଅବଦାନ ବିଷୟ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ସେମାନଙ୍କ ରୋଜଗାର ବଢାଇବା ସହିତ ଗ୍ରାମ ଅର୍ଥନୀତିକୁ ମଧ୍ୟ ଚଳଚଞ୍ଚଳ କରେ। ମା ମାନଙ୍କ ରୋଜଗାର ବଢାଇବା ସହିତ ସାଧାରଣ ଲୋକଙ୍କ ବିଶେଷକରି ପିଲାମାନଙ୍କ ପୁଷ୍ଟି ସାଧନରେ ଦୁଗ୍‌ଧର ବହୁତ ବଡ ଭୂମିକା ରହିଛି ବୋଲି ସେ କହିଥିଲେ। ତେଣୁ ଦୁଗ୍‌ଧ ଉତ୍ପାଦନରେ ଅଭିବୃଦ୍ଧି ଆଣି ରାଜ୍ୟର ପୁଷ୍ଟି ସ୍ତରକୁ (Nutrition Level) ଆହୁରି ଉନ୍ନତି ଆଣିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଦୁଗ୍ଧ ଚାଷୀଙ୍କ ପାଇଁ ରାଜ୍ୟ ସରକାର ଅନେକ ଯୋଜନା କରି ରିହାତି ଯୋଗାଇ ଦେଉଛନ୍ତି। ଚାଷୀମାନେ ଏହି ଯୋଜନାର ଉପଯୋଗ କରି ରାଜ୍ୟର ଦୁଗ୍‌ଧ ଉତ୍ପାଦନ ଲକ୍ଷ୍ୟ ପୂରଣରେ ସହଯୋଗ କରିବା ପାଇଁ ସେ ଅନୁରୋଧ କରିଥିଲେ।

ମୁଖ୍ୟମନ୍ତ୍ରୀ କହିଲେ ଯେ ରାଜ୍ୟ ସରକାର ସବୁବେଳେ ଗରିବ ଲୋକଙ୍କ ସାଥିରେ ଅଛନ୍ତି ଓ ସେମାନଙ୍କ ସ୍ବାର୍ଥର ସୁରକ୍ଷା ପାଇଁ କାମ କରୁଛନ୍ତି। ଗରିବ ଲୋକଙ୍କ ଉପରେ କୋଭିଡ ମହାମାରୀର ପ୍ରଭାବ କମ୍ କରିବା ପାଇଁ ରାଜ୍ୟ ସରକାର ଛୋଟ ଦୋକାନୀ, ଛୋଟ ଚାଷୀ, ମିଶନ ଶକ୍ତିର ମା – ସମସ୍ତଙ୍କ ଆକାଉଣ୍ଟରେ ୨୦୦୦ କୋଟିରୁ ଅଧିକ ଟଙ୍କା ଜମା କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ପ୍ରଥମେ ଅଲମ୍ପିକ୍‌ରେ ଭାରତର ସଫଳତା ପାଇଁ ଭାରତୀୟ ଟିମ୍‌କୁ ଅଭିନନ୍ଦନ ଜଣାଇ କହିଲେ ଯେ ଭାରତୀୟ ହକୀ ଦଳର ଅନନ୍ୟ ସଫଳତା ପାଇଁ ଆମେ ସମସ୍ତେ ଗର୍ବିତ।

ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସଂପଦ ବିକାଶ ମନ୍ତ୍ରୀ ଅରୁଣ ସାହୁ ରାଜ୍ୟରେ ଦୁଗ୍‌ଧ ଉତ୍ପାଦନ ବୃଦ୍ଧି କ୍ଷେତ୍ରରେ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ସଂପର୍କରେ ଆଲୋକପାତ କରିଥିଲେ। ୫-ଟି ଓ ମୋ ସରକାର ରାଜ୍ୟ ପ୍ରଶାସନର ମୂଳମନ୍ତ୍ର ବୋଲି ପ୍ରକାଶ କରି ସେ କହିଲେ ଯେ ଏହାର ପ୍ରୟୋଗ ଦ୍ବାରା ରାଜ୍ୟ ପ୍ରାଣୀ ସଂପଦ କ୍ଷେତ୍ରରେ ପରିବର୍ତ୍ତନର ଧାରା ଆସିପାରିଛି ।

ବରଗଡ ବିଧାୟକ ଦେବେଶ ଆଚାର୍ଯ୍ୟ, ନବରଂଗପୁର ବିଧାୟକ ସଦାଶିବ ପ୍ରଧାନୀ ଓ ବଡମ୍ବା ବିଧାୟକ ଦେବୀପ୍ରସାଦ ମିଶ୍ର ପ୍ରମୁଖ ସେମାନଙ୍କର ବକ୍ତବ୍ୟରେ ଚାଷୀ କଲ୍ୟାଣ ଯୋଜନା ଉପରେ ଆଲୋକପାତ କରିଥିଲେ ।

କାର୍ଯ୍ୟକ୍ରମରେ ବରଗଡ, ନବରଂଗପୁର ଓ କଟକର ୩ ଜଣ ଚାଷୀ ମୁଖ୍ୟମନ୍ତ୍ରୀଙ୍କ ସହିତ କଥା ହୋଇ ସ୍ବତନ୍ତ୍ର ସହାୟତା ପାଇଁ କୃତଜ୍ଞତା ପ୍ରକାଶ କରିଥିଲେ । ବରଗଡରୁ ସତ୍ୟବତୀ ସାହୁ, ନବରଂଗପୁରରୁ ଖୋକନ ବିଶ୍ବାସ ଓ କଟକରୁ ବିଜୟଲକ୍ଷ୍ମୀ ସ୍ବାଇଁ ଆଲୋଚନାରେ ଭାଗ ନେଇ କହିଥିଲେ ଯେ ରାଜ୍ୟ ସରକାର ସେମାନଙ୍କ ଦୁଗ୍‌ଧ ଚାଷ ପାଇଁ ଅନେକ ପ୍ରକାଶ ସହାୟତା ଦେଉଛନ୍ତି । ଗୋଖାଦ୍ୟ, ଔଷଧ, କ୍ୟାଲସିଅମ, ମିନେରେଲ ମିକ୍ସଚର ଆଦି ଅନେକ ସହାୟତା ମିଳୁଛି । ଦୁଗ୍‌ଧ ଚାଷ ଦ୍ବାରା ସେମାନଙ୍କ ଆର୍ଥିକ ଉନ୍ନତି ହେବା ସହିତ ସେମାନେ ପିଲାମାନଙ୍କୁ ଉଚ୍ଚ ଶିକ୍ଷା ଦେଇପାରିଛନ୍ତି ଏବଂ ଘର ଖଣ୍ଡେ ଖଣ୍ଡେ କରିପାରିଛନ୍ତି ବୋଲି କହିଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।

ମତ୍ସ୍ୟ ଓ ପଶୁସଂପଦ ବିଭାଗର ସଚିବ କେ. ରଘୁ ସ୍ବାଗତ ଭାଷଣ ଦେଇଥିଲେ ଏବଂ ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ।

ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, କୃଷି ଉତ୍ପାଦନ କମିଶନର ଆର୍‌.କେ. ଶର୍ମା ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *

Trending

Exit mobile version