Connect with us

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କୋଭିଡ ପରିଚାଳନା ସଂପର୍କିତ ବୈଠକରେ ଅଧ୍ୟକ୍ଷତା କରି ରାଜ୍ୟ ପ୍ରଶାସନକୁ ୭ ସୂତ୍ରୀ ପରାମର୍ଶ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମୋ ସରକାର କାର୍ଯ୍ୟକ୍ରମରେ କୋଭିଡ ପରିଚାଳନା ସଂପର୍କରେ ରାଜ୍ୟ ସରକାର ଫିଡ୍‌ବ୍ୟାକ୍‌ ସଂଗ୍ରହ କରିଛନ୍ତି ।

ଏହି ତଥ୍ୟ ଭିତ୍ତିରେ ନିମ୍ନୋକ୍ତ ବିଷୟ ଉପରେ ଗୁରୁତ୍ବ ଆରୋପ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।

୧. ଜିଲ୍ଲାସ୍ତରରେ କୋଭିଡ ଚିକିତ୍ସା କେନ୍ଦ୍ର ଗୁଡିକରେ ଅଗ୍ନି ସୁରକ୍ଷା ବ୍ୟବସ୍ଥା ଏବଂ ମେଡିକାଲ ଅକ୍‌ସିଜେନ ସୁବିଧା (logistics) ସବୁଠାରୁ ବଡ ପ୍ରାଥମିକତା। ଏହା ଉପରେ ୨୪ ଘଣ୍ଟିଆ ତଦାରଖ କରାଯିବା ଆବଶ୍ୟକ ।

୨. ଅଧିକ କୋଭିଡ ସଂଖ୍ୟା ଥିବା ଅଞ୍ଚଳ ଗୁଡିକରେ testing, tracing ଓ containmentକୁ ଜୋରଦାର କର।

୩. ICU ଓ HDU ଦାୟିତ୍ବରେ ଥିବା ଡାକ୍ତରମାନଙ୍କ ଠାରୁ ସିଧାସଳଖ ଫିଡବ୍ୟାକ୍ ନେଇ ସେମାନଙ୍କ ମତାମତ ଭିତ୍ତିରେ ପଦକ୍ଷେପ ନିଅ ।

୪. ଟୀକାକରଣ କାର୍ଯ୍ୟକ୍ରମ ସବୁଠାରୁ ଗୁରୁତ୍ବପୂର୍ଣ୍ଣ । ଏଥିପାଇଁ ତ୍ରୁଟି ଶୂନ୍ୟ ବ୍ୟବସ୍ଥା କରାଯାଉ ।

ବୟସ୍କ, ମହିଳା ଓ ଦୁର୍ବଳ ଶ୍ରେଣୀର ଲୋକଙ୍କର ଯତ୍ନ ନିଆଯାଉ । ଯେତେଶୀଘ୍ର ସମ୍ଭବ ଅଧିକ ସଂଖ୍ୟକ ଟୀକା ସଂଗ୍ରହ ପାଇଁ ଆମର ଉଦ୍ୟମ ଜାରି ରହିଛି ।

୫. କୋଭିଡ ଚିକିତ୍ସା କରୁଥିବା ବେସରକାରୀ ମେଡିକାଲ ଉପରେ ସତର୍କ ଦୃଷ୍ଟି ରଖ । ସେମାନେ ସରକାରଙ୍କ ନିର୍ଦ୍ଧାରିତ ମୂଲ୍ୟ ଭିତରେ ଲୋକଙ୍କ ଠାରୁ ଅର୍ଥ ସଂଗ୍ରହ କରିବାକୁ ବାଧ୍ୟ । ଯଦି ସେମାନେ ଏହା ନ କରନ୍ତି, ତେବେ ସଂପୃକ୍ତ ହସ୍‌ପିଟାଲ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କର ।

୬. କୋଭିଡ ହସ୍‌ପିଟାଲ ଗୁଡିକରେ ହେଲ୍‌ପ ଲାଇନ ଗୁଡିକୁ ଅଧିକ କ୍ରିୟାଶୀଳ କରାଯାଉ ଏବଂ ରୋଗୀଙ୍କ ପରିବାର ବର୍ଗଙ୍କୁ ନିୟମିତ ସୂଚନା ଦିଆଯାଉ ।

୭. ଏଭଳି କଠିନ ସମୟରେ ଦୁଃଖ ଓ ଦୈନ୍ୟରେ ଥିବା ଲୋକମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି ବ୍ୟବହାର କରି ସାହାଯ୍ୟ କର ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗତ ଏକ ମାସ ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କୋଭିଡ ସଂଖ୍ୟା ବହୁ ପରିମାଣରେ ବଢିଥିଲେ ମଧ୍ୟ କୋଭିଡ ଯୋଦ୍ଧା ମାନଙ୍କର ଦୃଢ ପରିଶ୍ରମ ଓ ଜନସାଧାରଣଙ୍କ ସହଯୋଗ ଯୋଗୁ ପରିସ୍ଥିତିକୁ ଠିକ୍‌ ଭାବରେ ପରିଚାଳନା କରାଯାଇପାରିଛି ।

ତଥାପି ଆହ୍ବାନ ବହୁତ ବଡ ଏବଂ ଏହି ଯୁଦ୍ଧ ବହୁତ ଲମ୍ବା । ପରିସ୍ଥିତିକୁ ନିୟନ୍ତ୍ରଣରେ ଆଣିବା ପାଇଁ ଲକ୍‌ଡାଉନ ଲାଗୁ କରାଯାଇଛି । ଏହା ଠିକ୍‌ ଚାଲିଥିଲେ ମଧ୍ୟ କେତେକ ସ୍ଥାନରେ ଏଥିରେ ଅଧିକ ଉନ୍ନତିର ଆବଶ୍ୟକତା ରହିଛି ବୋଲି ସେ କହିଥିଲେ ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ଥାନୀୟ ଜନସାଧାରଣଙ୍କ ସହଯୋଗରେ ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଆମେ ସଫଳତା ପାଇଛୁ ଏବଂ ଏହି କୋଭିଡ ମହାମାରୀ କ୍ଷେତ୍ରରେ ମଧ୍ୟ ଏହା ହିଁ ଉପଯୁକ୍ତ ପନ୍ଥା ।

ତେଣୁ ସହରାଞ୍ଚଳରେ ସ୍ଥାନୀୟ ଜନସାଧାରଣ ଏବଂ ବିଭିନ୍ନ ଅନୁଷ୍ଠାନ ଓ ଗ୍ରାମାଞ୍ଚଳରେ ପଞ୍ଚାୟତ ପ୍ରତିନିଧି ମାନଙ୍କ ସକ୍ରିୟ ସହଯୋଗରେ ଲୋକଙ୍କ ସହାୟତା କରଯିବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଦେଶର ଅଳ୍ପ କେତେକ ରାଜ୍ୟଙ୍କ ମଧ୍ୟ ରେ ଓଡିଶା ହେଉଛି ଏକ ରାଜ୍ୟ ଯେଉଁ ଠାରେ କି କୋଭିଡର ପରୀକ୍ଷା ଠାରୁ ଆରମ୍ଭ କରି ଚିକିତ୍ସା, ରହିବା ସୁବିଧା, ଖାଦ୍ୟ ଓ ଔଷଧ ପର୍ଯ୍ୟନ୍ତ ସବୁକିଛି ସରକାର ମାଗଣାରେ ଦେଉଛନ୍ତି ।

ଏହାଦ୍ବାରା ସବୁବର୍ଗର ଲୋକ, ବିଶେଷ କରି ଗରିବ ଲୋକମାନେ ଭଲ ଭଲ ଡାକ୍ତରଖାନାରେ ଚିକିତ୍ସିତ ହେବା ପାଇଁ ନିର୍ଭୟରେ ଆଗେଇ ଆସୁଛନ୍ତି ।

ଏଥିପାଇଁ ସରକାର ତାଙ୍କ ସମ୍ବଳର ଏକ ବଡ ଅଂଶ ଖର୍ଚ୍ଚ କରୁଛନ୍ତି । ତେଣୁ ଲୋକଙ୍କୁ ଉତ୍ତମ ମାନର ସେବା ସୁନିଶ୍ଚିତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ମହାମାରୀକୁ ନିୟନ୍ତ୍ରଣ କରିବାକୁ ଟୀକାକରଣ ହେଉଛି ଆମର ମୁଖ୍ୟ ରଣନୀତି । ପରିସ୍ଥିତିରେ ସୁଧାର ଆସିବା ପର୍ଯ୍ୟନ୍ତ ସମସ୍ତଙ୍କୁ ସତର୍କ ହେବାକୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ମାସ୍କ ବ୍ୟବହାର, ହାତ ଧୁଆ ଓ ସାମାଜିକ ଦୂରତ୍ବ ବଜାୟ ରଖିବା ସହିତ ଅନାବଶ୍ୟକ ଭାବେ ବାହାରେ ନ ବୁଲି ଘରେ ରହିବାକୁ ଜନସାଧାରଣଙ୍କୁ ନିବେଦନ କରିଥିଲେ ।

ବୈଠକରେ ଆଲୋଚନା ସମୟରେ ତୃତୀୟ ଲହରୀର ସମ୍ଭାବନା ସଂପର୍କରେ ତଥ୍ୟ ସଂଗ୍ରହ ସହିତ ସମ୍ଭାବ୍ୟ ମୁକାବିଲା ବ୍ୟବସ୍ଥା ପାଇଁ ପ୍ରସ୍ତୁତ ହେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ପୁରୀରେ ରଥଯାତ୍ରା ପୂର୍ବରୁ ସମସ୍ତ ସେବାୟତ ଓ ସେମାନଙ୍କ ପରିବାରବର୍ଗଙ୍କ ସଂପୂର୍ଣ୍ଣ ଟୀକାକରଣ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ କୋଭିଡ ହସ୍‌ପିଟଲ ଗୁଡିକରେ ଚିକିତ୍ସାରେ ଉନ୍ନତି ଆଣିବା ପାଇଁ ପଦକ୍ଷେପ ନିଆଯାଇଛି ।

କୋଭିଡ ଅବଜରଭର ମାନେ ପରିସ୍ଥିତି ଉପରେ ନଜର ରଖିଛନ୍ତି । ଅକ୍‌ସିଜେନ ବ୍ୟବସ୍ଥାର ୨୪ ଘଣ୍ଟିଆ ତଦାରଖ କରାଯାଉଛି । କୋଭିଡ କେୟାର କେନ୍ଦ୍ର ଗୁଡିକରେ ଅଧିକ ICU ଓ ଭେଣ୍ଟିଲେଟର ଶଯ୍ୟାର ବ୍ୟବସ୍ଥା କରାଯାଇଛି ଏବଂ ଆହୁରି ଅଧିକ ଶଯ୍ୟା ପାଇଁ ପଦକ୍ଷେପ ଜାରି ରହିଛି ।

ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ  ପି.କେ. ମହାପାତ୍ର କୋଭିଡ ପରିସ୍ଥିତି ଉପରେ ଏକ ଉପସ୍ଥାପନା ରଖି କହିଥିଲେ ଯେ ସାରା ବିଶ୍ବରେ ବର୍ତ୍ତମାନ ଭାରତର କୋଭିଡ ସଂକ୍ରମଣ ସଂଖ୍ୟା ୫୪ ପ୍ରତିଶତ ରହିଛି । ଓଡିଶାରେ ବର୍ତ୍ତମାନର ସ୍ଥିତି ସଂପର୍କରେ ଆଲୋକପାତ କରି ସେ କହିଥିଲେ ଯେ ଓଡିଶାର କୋଭିଡ ସଂଖ୍ୟା ବର୍ତ୍ତମାନ ଦେଶର କୋଭିଡ ସଂଖ୍ୟାର ୨.୭ ପ୍ରତିଶତ ରହିଛି । ସର୍ବଭାରତୀୟ ସ୍ତରରେ ମୃତ୍ୟୁ ହାର (CFR) ୧.୦୯ ଥିବାବେଵେ, ଓଡିଶାରେ ଏହା ୦.୪୦ ରହିଛି। ଖୋର୍ଦ୍ଧା ଓ କଟକ ଜିଲ୍ଲା ବ୍ୟତୀତ ଛତିଶଗଗଡ ସୀମାରେ ଜିଲ୍ଲା ଗୁଡିକରେ ଅଧିକ ପଜିଟିଭ କେସ୍‌ ରହୁଛି ବୋଲି ସେ କହିଥିଲେ । ଓଡିଶାର ବର୍ତ୍ତମାନ ଟେଷ୍ଟ ପଜିଟିଭିଟି ଗତ ୧୫ ଦିନ ଧରି ୨୦.୨ ରହିଛି । ଓଡିଶାରେ ଅକ୍‌ସିଜେନ ଉପଲବ୍ଧତା ଉପରେ ସୂଚନା ଦେଇ ସେ କହିଥିଲେ ଯେ ରାଜ୍ୟରେ ବର୍ତ୍ତମାନ ଦୈନିକ ୫୨.୯ ମେଟ୍ରିକ ଟନ୍‌ ଅକ୍‌ସିଜେନ ଖର୍ଚ୍ଚ ହେଇଛି। ରାଜ୍ୟରେ ଟୀକାର ଉପଲବ୍ଧତା ଓ ବ୍ୟବହାର ସଂପର୍କରେ ମଧ୍ୟ ସେ ସୂଚନା ଦେଇଥିଲେ।

ପୋଲିସ ମହାନିର୍ଦ୍ଦେଶକ  ଅଭୟ କୋଭିଡ ନିୟମାବଳୀର ଅନୁପାଳନ ଦିଗରେ ପୋଲିସର ପଦକ୍ଷେପ ସଂପର୍କରେ ସୂଚନା ଦେବା ସହିତ କହିଥିଲେ ଯେ କୋଭିଡ ନିୟମାବଳୀର ଉଲଘଂନ ପାଇଁ ବର୍ତ୍ତମାନ ସୁଦ୍ଧା ୨୮ କୋଟି ୯୧ ଲକ୍ଷ ଟଙ୍କା ଜୋରିମାନା ଆଦାୟ କରାଯାଇଛି । ବିଭିନ୍ନ କୋଭିଡ ଚିକିତ୍ସାଳୟରେ ଅଗ୍ନି ନିୟନ୍ତ୍ରଣ ସଂପର୍କରେ ନିଆଯାଉଥିବା ପଦକ୍ଷେପ ଉପରେ ଅଗ୍ନିଶମ ସେବା ମହାନିର୍ଦ୍ଦେଶକ ସୂଚନା ଦେଇଥିଲେ ।

ବୈଠକରେ ସମ୍ବଲପୁର, ବରଗଡ, ପୁରୀ, କଟକ ଓ ଭୁବନେଶ୍ବର ମହାନଗର ନିଗମରେ କୋଭିଡ ପରିଚାଳନା ସଂପର୍କରେ ଜିଲ୍ଲାପାଳ ଓ କମିଶନର ମାନେ ସୂଚନା ଦେଇଥିଲେ ।

ମୁଖ୍ୟମନ୍ତୀଙ୍କ ସଚିବ (୫-ଟି)  ଭି.କେ. ପାଣ୍ଡିଆନ ବୈଠକକୁ ସଂଯୋଜନା କରିଥିଲେ ।

Continue Reading
Click to comment

Leave a Reply

Your email address will not be published. Required fields are marked *

Health

ଓଡ଼ିଶାରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ପାଇଁ ପ୍ରସ୍ତୁତି ଆରମ୍ଭ

Published

on

ଭୁବନେଶ୍ବର: ଓଡ଼ିଶାବାସୀ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ଯ ଯୋଜନାର ସୁଫଳ କିପରି ଯଥାଶୀଘ୍ର ପାଇପାରିବେ ସେ ନେଇ ବିଭାଗ ବିଭିନ୍ନ ପ୍ରସ୍ତୁତି ଓ ପ୍ରଶିକ୍ଷଣ ଆରମ୍ଭ କରିଛି ।

ଏହି ସମନ୍ୱିତ ଯୋଜନା ଦ୍ବାରା ରାଜ୍ଯବାସୀ ଦେଶର ପ୍ରାୟ 30 ହଜାର ଚିକିତ୍ସାଳୟରେ ଉନ୍ନତ ସ୍ବାସ୍ଥ୍ୟସେବା ପାଇପାରିବେ । ଓଡ଼ିଶାର ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଆସିବ ଯୁଗାନ୍ତକାରୀ ପରିବର୍ତ୍ତନ ।

ରାଜ୍ଯ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ଯାଣ ବିଭାଗ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ଯ ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ଯ ଯୋଜନାକୁ ସମନ୍ବିତ କରି ଜନସାଧାରଣଙ୍କୁ ଅତିଶୀଘ୍ର ସ୍ବାସ୍ଥ୍ୟସେବାର ସୁଫଳ ଦେବା ପାଇଁ ବିଭିନ୍ନ ପ୍ରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି । ଆଜିଠାରୁ ଯୋଜନା ସହ ସଂପୃକ୍ତ ବିଭିନ୍ନ ଅଂଶୀଦାର ଏବଂ ପ୍ରଧାନମନ୍ତ୍ରୀ ଆରୋଗ୍ଯମିତ୍ରଙ୍କ ଦକ୍ଷତା ବିକାଶ ପାଇଁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି ।
ପ୍ରଥମ ଦିନରେ 60ଟି ଚିକିତ୍ସାଳୟର 180 ଜଣଙ୍କୁ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ଯ ଯୋଜନା ସମ୍ପର୍କିତ ଆବେଦନ ପ୍ରକ୍ରିୟା, ଆଇଟି ପ୍ଲାଟଫର୍ମର ବିବିଧ ବ୍ଯବହାର, ଟ୍ରାନ୍ ଜେକ୍ ସନ ମ୍ୟାନେଜମେଣ୍ଟ ସିଷ୍ଟମ୍, ଅଭିଯୋଗ ସମାଧାନ ପ୍ରକ୍ରିୟା ଆଦି ବିଷୟରେ ମାଷ୍ଟର ଟ୍ରେନରମାନେ ପ୍ରଶିକ୍ଷଣ ଦେଇଥିଲେ । ପର୍ଯ୍ଯାୟକ୍ରମେ ଯୋଜନା ସହ ସଂପୃକ୍ତ ସମସ୍ତ ସରକାରୀ ଓ ବେସରକାରୀ ଅଂଶୀଦାର ଏବଂ ପ୍ରଧାନମନ୍ତ୍ରୀ ଆରୋଗ୍ଯ ମିତ୍ରମାନଙ୍କୁ ପ୍ରଶିକ୍ଷଣ ଦିଆଯିବ ।

ରାଜ୍ୟ ସ୍ୱାସ୍ଥ୍ୟ ପ୍ରତିଶୃତି ସମିତି (ସାସ)ର ସିଇଓ ତଥା
ଜାତୀୟ ସ୍ବାସ୍ଥ୍ୟ ମିଶନ (ଓଡ଼ିଶା)ର ମିଶନ ନିର୍ଦ୍ଦେଶିକା ଡା. ବୃନ୍ଦା ଡି., ଡା. ବିଷ୍ଣୁପ୍ରସାଦ ମହାପାତ୍ର, ଡା. ରଶ୍ମିରଞ୍ଜନ ମହାପାତ୍ର, ଡା. ଅରୁଣ ମହାପାତ୍ର, ଶ୍ରୀ ଶରତ ମିଶ୍ର ପ୍ରମୁଖ ପ୍ରଶିକ୍ଷଣ ଦେଇଥିଲେ ।

 

Continue Reading

Health

ମୃତ ଯୁବକ ଫେରି ପାଇଲେ ଜୀବନ

Published

on

ଭୁବନେଶ୍ୱର: ବନ୍ଦ ହୋଇଗଲା ହୃଦଯନ୍ତ୍ର l ଚବିଶ ବର୍ଷୀୟ ଶୁଭକାନ୍ତ ସାହୁ, ଭାରତୀୟ ସୈନ୍ୟ ବାହିନୀର ଯବାନଙ୍କୁ ବୋଲି ଘୋଷଣା କରିଦେଇଥିଲେ ଡାକ୍ତର l ହେଲେ ଶୁଭକାନ୍ତ ବଞ୍ଚି ଉଠିଲେ l

ଚିକିତ୍ସା ବିଜ୍ଞାନ ଏବଂ କାର୍ଯ୍ୟଦକ୍ଷତାର ଅପୂର୍ବ ସମନ୍ୱୟ, ନିଶ୍ଚିତ ମୃତ୍ୟୁ ମୁଖରୁ ଯବାନଙ୍କୁ ବଞ୍ଚାଇ ଆଣିଲେ ଏମ୍‌ସ ଭୁବନେଶ୍ୱର ଡାକ୍ତରୀ ଦଳ l ଦୁଇ ଘଣ୍ଟା ପରେ ପୁନଃକାର୍ଯ୍ୟ କଲା ବନ୍ଦ ହୋଇଯାଇଥିବା ଶୁଭକାନ୍ତଙ୍କ ହୃଦୟ l

ଚିକିତ୍ସା ବିଜ୍ଞାନ ଏବଂ କାର୍ଯ୍ୟଦକ୍ଷତାର ଅପୂର୍ବ ସମନ୍ବୟ ସହିତ ଏମ୍‌ସ ଭୁବନେଶ୍ୱରରେ ଏକ ଉତ୍ସର୍ଗୀକୃତ ଡାକ୍ତରୀ ଦଳ ଉନ୍ନତ ଏକ୍ସଟ୍ରାକୋର୍‌ପୋରାଲ୍ କାର୍ଡିଓ-ପୁଲମୋନାରୀ ରେସୁସିଟେସନ୍‌ (ଇ-ସିପିଆର୍‌) ମାଧ୍ୟମରେ ଏହି ୨୪ ବର୍ଷ ବୟସ୍କ ଆର୍ମୀ ଯବାନଙ୍କୁ ନିଶ୍ଚିତ ମୃତ୍ୟୁ ମୁଖରୁ ରକ୍ଷା କରିଛନ୍ତି। ନୟାଗଡ଼ ରଣପୁର ଅଞ୍ଚଳରୁ ଆସିଥିବା ଏହି ଯୁବକଙ୍କର ହୃଦୟ ପ୍ରାୟ ଦୁଇ ଘଣ୍ଟା ପର୍ଯ୍ୟନ୍ତ କାର୍ଯ୍ୟ କରିବା ବନ୍ଦ ହୋଇଯାଇଥିଲା। ମାତ୍ର ଏମ୍‌ସ ଭୁବନେଶ୍ୱର ଡାକ୍ତରୀ ଦଳଙ୍କ ନିଷ୍ଠାପର ଉଦ୍ୟମ ଏବଂ ଚିକିତ୍ସା ଜ୍ଞାନକୌଶଳର ସଫଳ ପ୍ରୟୋଗ ଉକ୍ତ ଯବାନଙ୍କ ଜୀବନ ରକ୍ଷା କରିବାରେ ସହାୟକ ହୋଇଛି। ଓଡ଼ିଶା ସମେତ ପୂର୍ବ ଭାରତରେ ପ୍ରଥମ କୁହାଯାଉଥିବା ଏହି ଇସିପିଆର୍‌ ପ୍ରଣାଳୀର ଚମତ୍କାର ଉପଯୋଗ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଉନ୍ନତ ଜ୍ଞାନକୌଶଳର ସମ୍ମୀଶ୍ରଣ ତଥା ଏମ୍‌ସର ଡାକ୍ତରୀ ଦଳଙ୍କ ଅଦମ୍ୟ ପ୍ରତିବଦ୍ଧତାର ଉଦାହରଣ ସାବ୍ୟସ୍ତ ହୋଇଛି।

ଏମ୍‌ସ ଭୁବନେଶ୍ୱରର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ବାସ ଏପରି ଅନନ୍ୟ କାର୍ଯ୍ୟକୁ ସଫଳ ରୂପ ପ୍ରଦାନ କରିଥିବା ଡାକ୍ତରୀ ଦଳର ପ୍ରଶଂସା କରିଛନ୍ତି। ଏମ୍‌ସ ଭୁବନେଶ୍ୱର ଚିକିତ୍ସା ବିଜ୍ଞାନ ଓ ଅତ୍ୟାଧୁନିକ ଜ୍ଞାନକୌଶଳର ଉପଯୁକ୍ତ ସମନ୍ବୟ ସହିତ ଅଗ୍ରଗାମୀ ସ୍ୱାସ୍ଥ୍ୟସେବା ଯୋଗାଇବାରେ ସର୍ବଦା ଆଗରେ ରହିଆସିଛି। ଜୀବନ ବଞ୍ଚାଇବା ଏବଂ ଚିକିତ୍ସା ସେବାକୁ ଆଗକୁ ନେବା ପାଇଁ ଏହା ଆମର ଉତ୍ସର୍ଗୀକୃତ ଭାବନାର ଏକ ଉଦାହରଣ ବୋଲି ଡ. ବିଶ୍ବାସ ମତବ୍ୟକ୍ତ କରିଛନ୍ତି।

ଉଲ୍ଲେଖଯୋଗ୍ୟଯେ ଜଟିଳ ସ୍ବାସ୍ଥ୍ୟାବସ୍ଥାରେ ଗୁରୁତର ଥିବା ଉପରୋକ୍ତ ଯୁବକଙ୍କୁ ଅକ୍ଟୋବର ପହିଲାରେ ଏମ୍‌ସ ଭୁବନେଶ୍ୱରକୁ ରେଫର୍ କରାଯାଇଥିଲା। ଏମ୍‌ସରେ ପହଞ୍ଚିବାର କିଛି ସମୟ ପରେ ଯୁବକ ଜଣଙ୍କ ହୃଦ୍‌ଘାତରେ ଆକ୍ରାନ୍ତ ହୋଇଥିଲେ। ଜୀବନ ବଞ୍ଚାଇବା ନିମିତ୍ତ ୪୦ ମିନିଟ୍‌ର ପ୍ରାଥମିକ ସିପିଆର୍‌ ସତ୍ତ୍ବେ ତାଙ୍କର ହୃଦୟ କାର୍ଯ୍ୟ କରିନଥିଲା। ଏପରି ଅବସ୍ଥାରେ ସାଧାରଣତଃ ଦୁଇଟି ନିଷ୍ପତି ନିଆଯାଇଥାଏ। ମୃତ୍ୟୁ ଘୋଷଣା କରିବା କିମ୍ବା ଇ-ସିପିଆର୍‌ ପ୍ରଣାଳୀ ପ୍ରୟୋଗ କରିବା। ତେବେ ଏମ୍‌ସ ଡାକ୍ତରୀ ଦଳ ଏହାକୁ ଏକ ଆହ୍ବାନ ଭାବେ ଗ୍ରହଣ କରି ଯବାନଙ୍କର ଜୀବନ ବଞ୍ଚାଇବା ନିମନ୍ତେ ନିରନ୍ତର ଉଦ୍ୟମ କରିଥିଲେ। ଏକ୍‌ମୋ ବିଶେଷଜ୍ଞ ଡ. ଶ୍ରୀକାନ୍ତ ବେହେରାଙ୍କ ନେତୃତ୍ୱରେ ଏକ ଟିମ୍ ପ୍ରାୟ ୮୦ ମିନିଟ୍‌ର ମାରାଥନ୍ ସିପିଆର୍‌ ପରେ ଯୁବକଙ୍କୁ ଏକ୍‌ମୋ ପ୍ରଣାଳୀ ପ୍ରଦାନ ଆରମ୍ଭ କରିଥିଲେ। ତେବେ ଇସିପିଆର୍‌ ଦେବାର ୪୦ ମିନିଟ୍‌ ପରେ ଯୁବକଙ୍କ ହୃଦୟ କାର୍ଯ୍ୟ ଆରମ୍ଭ କରିଥିଲା। ପରବର୍ତ୍ତୀ ୩୦ ଘଣ୍ଟା ମଧ୍ୟରେ, ହୃଦୟର କାର୍ଯ୍ୟରେ ଯଥେଷ୍ଟ ଉନ୍ନତି ହେଲା, ଏବଂ ୯୬ ଘଣ୍ଟା ପରେ ରୋଗୀଙ୍କୁ ସଫଳତାର ସହିତ ଏକ୍‌ମୋରୁ ବାହାର କରାଯାଇଥିଲା। ଦଳଗତ ଭାବେ ଉଲ୍ଲେଖନୀୟ ପାରଦର୍ଶୀତା, ସମନ୍ୱୟ ଏବଂ ଉତ୍ସର୍ଗୀକୃତ ପ୍ରଦର୍ଶନ ମାଧ୍ୟମରେ ଏପରି ଏକ ଜଟିଳ କାର୍ଯ୍ୟ ସମ୍ପାଦନ କରି ଜଣେ ଯବାନଙ୍କ ଜୀବନ ବଞ୍ଚାଇବା ଏକ ଅନନ୍ୟ ସଫଳତା।

ପୁଅକୁ ଦ୍ବିତୀୟ ଜୀବନ ପ୍ରଦାନ କରିଥିବାରୁ ଏମ୍‌ସ ଭୁବନେଶ୍ୱର ଡାକ୍ତରୀ ଦଳକୁ କୃତଜ୍ଞତା ପ୍ରଦାନ କରିଛନ୍ତି ଯବାନଙ୍କ ମା। ଏମ୍‌ସ ଡାକ୍ତରମାନଙ୍କର ଦକ୍ଷତା, କରୁଣା ଏବଂ ନିଷ୍ଠାକୁ ଆମ ପରିବାର ସବୁଦିନ ମନେରଖିବ ବୋଲି ଯବାନଙ୍କ ମା ପ୍ରକାଶ କରିଛନ୍ତି।

ଇ-ସିପିଆର୍‌ ପ୍ରଣାଳୀ ଏକ କଷ୍ଟସାଧ୍ୟ ପ୍ରକ୍ରିୟା ଏବଂ ଏହାକୁ ସଫଳତାର ସହିତ ପ୍ରୟୋଗ କରିବା ଏକ ଆହ୍ବାନ। ମାତ୍ର ଆମ ଡାକ୍ତରୀ ଦଳ ଏବଂ ଅନ୍ୟାନ୍ୟ ସହଯୋଗୀଙ୍କ ଦଳଗତ ମନୋଭାବ କାରଣରୁ ଏହା ସଫଳ ହୋଇପାରିଛି। ଏହି ସଫଳତା ଓଡ଼ିଶାର ଚିକିତ୍ସା ଇତିହାସରେ ଏକ ମାଇଲଖୁଣ୍ଟ ଭାବେ ହୃଦ୍‌ଘାତର ଚିକିତ୍ସାରେ ଏକ ସମ୍ଭାବନାପୂର୍ଣ୍ଣ ପଦ୍ଧତିର ପ୍ରତିନିଧିତ୍ବ କରିବ ବୋଲି ଡ. ଶ୍ରୀକାନ୍ତ ବେହେରା ମତ ପ୍ରକାଶ କରିଛନ୍ତି।

ଏହି ପ୍ରକ୍ରିୟାରେ ଡ. କ୍ରିଷ୍ଣମୋହନ ଗୁଲା, ଡ. ସନ୍ଦୀପ କୁମାର ପଣ୍ଡା, ଡ. ସିଦ୍ଧାର୍ଥ ସାଠିଆ, ଡ. ସଙ୍ଗୀତା ସାହୁ, ଡ. ମାନସ ପାଣିଗ୍ରାହୀ, ଏମ୍‌ସିଆଇ ଏବଂ ନର୍ସିଂ ଅଧିକାରୀଙ୍କ ଭଳି ସ୍ବାସ୍ଥ୍ୟସେବା ପ୍ରଦାନକାରୀ ପ୍ରମୁଖ ସାମିଲ ଥିଲେ।

ଏହି ଅଭିନବ ସଫଳତା ପାଇଁ ମେଡିକାଲ୍‌ ଅଧୀକ୍ଷକ ଡ. ଦିଲ୍ଲୀପ କୁମାର ପରିଡ଼ା, ଡ. ଅନୁପମ ଦେ, ଡ. ରଶ୍ମିରଞ୍ଜନ ମହାନ୍ତି, ଡ. ଦେବାନନ୍ଦ ସାହୁ ପ୍ରମୁଖ ଡାକ୍ତରୀ ଦଳକୁ ଅଭିନନ୍ଦନ ଜଣାଇଛନ୍ତି।

Continue Reading

Health

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମିୟୋ କ୍ଲିନିକର ପ୍ରତିନିଧି: ଓଡିଶାରେ ଅତ୍ୟାଧୁନିକ କ୍ୟାନ୍‌ସର ନିରୁପଣ ଓ ଚିକିତ୍ସା ପାଇଁ ଆଲୋଚନା

Published

on

ଭୁବନେଶ୍ୱର: ଆଜି ଲୋକସେବା ଭବନ ଠାରେ ଆମେରିକାର ମିୟୋ କ୍ଲିନିକ ଓ ଅନ୍ୟାନ୍ୟ ସ୍ୱାସ୍ଥ୍ୟସେବା ଗବେଷଣା ସଂସ୍ଥାର ପ୍ରତିନିଧିମାନେ ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀଙ୍କୁ ଭେଟି ଓଡିଶାରେ କ୍ୟାନ୍‌ସର ଚିକିତ୍ସା କ୍ଷେତ୍ରରେ ସବୁଠାରୁ ଆଧୁନିକ ରୋଗ ନିରୂପଣ ଓ ଚିକିତ୍ସା ପଦ୍ଧତିର ବିକାଶ ସମ୍ପର୍କରେ ଆଲୋଚନା କରିଛନ୍ତି।

ଆଲୋଚନାରୁ ଜଣା ଯାଇଛି ଯେ, କ୍ୟାନ୍‌ସର ଚିକିତ୍ସା ଅତ୍ୟଧିକ ବ୍ୟୟ ସାପେକ୍ଷ ଓ ଅନିଶ୍ଚିତ। ଡି.ଏନ୍.ଏ ଟେଷ୍ଟ ଜରିଆରେ ତୁରନ୍ତ ରୋଗ ନିରୂପଣ ସହିତ କୌଣସି ଏକ ନିର୍ଦ୍ଦିଷ୍ଟ ଚିକିତ୍ସା ପ୍ରଣାଳୀ ଫଳପ୍ରଦ ହେଉଛି ବା ନାହିଁ ତାହା ମଧ୍ୟ ଖୁବ୍ ଶୀଘ୍ର ଜଣାପଡି ପାରିବ। ତେଣୁ ଓଡିଶାରେ ଏହି ନୂତନ ପଦ୍ଧତିର ପ୍ରୟୋଗ ସପକ୍ଷରେ ପ୍ରତିନିଧିମାନେ ମତ ରଖିଥିଲେ। ଏହା ଦ୍ୱାରା ରୋଗ ନିରୂପଣ ଖୁବ୍‌ ଶୀଘ୍ର ସୂଚନା ମିଳିବା ସହିତ ଫଳପ୍ରଦ ଚିକିତ୍ସା ପ୍ରଦାନ କରାଯାଇ ପାରିବ।

ସ୍ୱାସ୍ଥ୍ୟସେବା, ବିଶେଷ କରି କ୍ୟାନ୍‌ସର ଚିକିତ୍ସାକୁ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି ବୋଲି ମତ ଦେଇ ଏ ସମ୍ପର୍କରେ ବିଧିବଦ୍ଧ ପ୍ରସ୍ତାବ ରଖିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।

ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ କମିଶନର ତଥା ଶାସନ ସଚିବ ଅଶ୍ୱତୀ ଏସ୍. ଉପସ୍ଥିତ ଥିଲେ।

ମିୟୋ କ୍ଲିନିକ ପକ୍ଷରୁ ପ୍ରଫେସର ଦେବ ମୁଖାର୍ଜୀ, ଆମେରିକାସ୍ଥିତ ଏଲିଫାସ୍ ବାୟୋ ସାଇନ୍‌ସେସ୍ ପକ୍ଷରୁ ମିଷ୍ଟର ଚାର୍ଲସ୍ ମିଲର (Mr. Charles Miller from Elephes Bio-Sciences), ଇନ-ଡି.ଏନ୍.ଏ ଲାଇଫ୍ ସାଇନ୍‌ସର (inDNA Life Sciences) ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଡ. ବିରେନ୍ ବାନାର୍ଜୀ ଓ ଏହାର ପ୍ରତିନିଧି ଦେବୀ ପ୍ରସାଦ ରଥ ପ୍ରମୁଖ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଥିଲେ।

Continue Reading

Trending

Copyright © 2018 Odisha News Line. Developed By Swadhin IT Solutions