National

ରେସନ କାର୍ଡ ଆବେଦନ ଠାରୁ ଧାନ ସଂଗ୍ରହ ପଞ୍ଜୀକରଣ ପର୍ଯ୍ୟନ୍ତ ଏଣିକି ସବୁ ଅନ୍‌ ଲାଇନରେ: ମୁଖ୍ୟମନ୍ତ୍ରୀ

Published

on


ଭୁବନେଶ୍ୱର: "ସମସ୍ତଙ୍କ ପାଇଁ ଖାଦ୍ୟ ସୁରକ୍ଷା -  ଜଣେ ବି ଗରିବ ଲୋକକୁ ମୁଁ ଖାଦ୍ୟ ସୁରକ୍ଷାରୁ ବଞ୍ଚିତ ହେବାକୁ ଦେବି ନାହିଁ” । ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକଙ୍କ ଏହି ବିଚାରଧାରାକୁ କାର୍ଯ୍ୟରେ ପରିଣତ କରି ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ବିଭାଗ ଧାନ ସଂଗ୍ରହ ପଞ୍ଜୀକରଣ ଠାରୁ ଆରମ୍ଭ କରି ରେସନ କାର୍ଡ ଆବେଦନ ପର୍ଯ୍ୟନ୍ତ ସବୁ କାର୍ଯ୍ୟ ପାଇଁ ଅନ୍‌ଲାଇନ ବ୍ୟବସ୍ଥା ଆରମ୍ଭ କରିଛନ୍ତି। ଲୋକମାନେ ଏବେ ଘରେ ବସି ସବୁ ସୁବିଧା ପାଇପାରିବେ।

ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଏହି କାର୍ଯ୍ୟର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ସ୍ବଚ୍ଛତା ଓ ଦକ୍ଷତା ଦିଗରେ ଏକ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ବୋଲି ବର୍ଣ୍ଣନା କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟ ସରକାର ଲୋକଙ୍କ ଖାଦ୍ୟ ସୁରକ୍ଷା ପାଇଁ ପ୍ରତିଶୃତିବଦ୍ଧ। ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା ସହିତ ରାଜ୍ୟ ସରକାର ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ଜାତୀୟ ଖାଦ୍ୟ ସୁରକ୍ଷା ଆଇନରୁ ବାଦ୍‌ ପଡିଥିବା ୨୫ ଲକ୍ଷ ଲୋକଙ୍କୁ ସାମିଲ କରିଛନ୍ତି।  ସାରା ରାଜ୍ୟରେ ସାଢେ ତିନି କୋଟିରୁ ଅଧିକ ଲୋକ ଖାଦ୍ୟ ସୁରକ୍ଷାରେ ସାମିଲ ହୋଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସାରା ରାଜ୍ୟର ଲୋକ ଏହି ବିଭାଗ ସହିତ ସିଧାସଳଖ ଯୋଡି ହୋଇ ରହିଛନ୍ତି। ତେଣୁ ସାଧାରଣ ଲୋକ ପରିବର୍ତ୍ତନର ସୁଫଳ ଯେପରି ଠିକ୍‌ ଭାବରେ ପାଇପାରିବ, ସେଥିପାଇଁ ଅନ୍‌ ଲାଇନ ବ୍ୟବସ୍ଥା ସଂପର୍କରେ ବ୍ୟାପକ ସଚେତନତା ଉପରେ ସେ ଗୁରୁତ୍ବ ଆରୋପ କରିଥିଲେ। ମାସକ ମଧ୍ୟରେ କେତେ ଲୋକ ଏହି ଅନ୍‌ଲାଇନ ସୁବିଧାର ବ୍ୟବହାର କଲେ, ସେ ସଂପର୍କରେ ଜଣାଇବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।

ଏହି ଅବସରରେ ଖାଦ୍ୟ ସୁରକ୍ଷା ଦିଗରେ ଗତ ୨୦ ବର୍ଷ ମଧ୍ୟରେ ଓଡିଶାରେ ଯେଉଁ ବ୍ୟାପକ ପରିବର୍ତ୍ତନ ଆସିଛି, ସେ ସଂପର୍କିତ ସମସ୍ତ ତଥ୍ୟ ସମ୍ବଳିତ ଏକ ପୁସ୍ତକ Making of a Food Secure Odisha କୁ ମୁଖ୍ୟମନ୍ତ୍ରୀ ଉନ୍ମୋଚିତ କରିଥିଲେ । 

ସୂଚନାଯୋଗ୍ୟ ଯେ ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ବିଭାଗ ପକ୍ଷରୁ ୪ଟି ସେବା ପାଇଁ ଅନ୍‌ଲାଇନ ବ୍ୟବସ୍ଥା ଆରମ୍ଭ କରାଯାଇଛି । ଏଗୁଡିକ ହେଲା – ଧାନ ବିକ୍ରୟ ପାଇଁ ଚାଷୀ ମାନଙ୍କ ପଞ୍ଜୀକରଣ, ରେସନ କାର୍ଡ ପାଇଁ ଆବେଦନ ଓ ସଂଶୋଧନ ଇତ୍ୟାଦି, ସୁଲଭ ମୂଲ୍ୟ ଦୋକାନ ପାଇଁ ଲାଇସେନ୍‌ସ ଫି ପ୍ରଦାନ ଏବଂ ସୁଲଭ ମୂଲ୍ୟ ଦୋକାନ ମାନଙ୍କ ଦ୍ବାରା ଖାଦ୍ୟଶସ୍ୟର ମୂଲ୍ୟ ପ୍ରଦାନ । ଏସବୁ ସୁବିଧା ଗୁଡିକ www.foododisha.in ରେ Cetizen Services ଲିଙ୍କ୍ ରେ ମିଳିପାରିବ।  

ଏହି ଅବସରରେ ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଲେ ଯେ ୫ଟି କାର୍ଯ୍ୟକ୍ରମ ଅଧୀନରେ ବ୍ୟାପକ ପରିବର୍ତ୍ତନ ଆଣିବା ପାଇଁ ବିଭାଗ ପ୍ରତିଶୃତିବଦ୍ଧ ହୋଇ କାର୍ଯ୍ୟ କରୁଛି । ଆଜିର ଏହି ଅନ୍‌ଲାଇନ ସେବା ଗୁଡିକ ଏ ଦିଗରେ ଏକ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ।

ଖାଦ୍ୟ ଯୋଗାଣ ଓ ଖାଉଟୀ କଲ୍ୟାଣ ବିଭାଗର ସଚିବ ବୀର ବିକ୍ରମ ଯାଦବ ସମସ୍ତଙ୍କୁ ସ୍ବାଗତ କରି ନୂତନ ସେବା ସଂପର୍କରେ ଏକ ଉପସ୍ଥାପନା ରଖିଥିଲେ ।

ଏହି କାର୍ଯ୍ୟକ୍ରମରେ ଉନ୍ନୟନ କମିଶନର ସୁରେଶ ମହାପାତ୍ର, କୃଷି ଉତ୍ପାଦନ କମିଶନର ଆର୍‌.କେ. ଶର୍ମା, କୃଷି ବିଭାଗ ପ୍ରମୁଖ ସଚିବ ସୌରଭ ଗର୍ଗ, ଅର୍ଥ ବିଭାଗର ପ୍ରମୁଖ ସଚିବ ଏ.କେ ମୀନା ଏବଂ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ପ୍ରମୁଖ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *

Trending

Exit mobile version